ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାକୁ ଯାଉଥିବାରୁ ଆସନ୍ତାକାଲିଠାରୁ ୪ ଦିନ ପର୍ୟ୍ୟନ୍ତ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସ୍ଥାନେସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ। ପ୍ରବଳ ବର୍ଷାକୁ ଆଖି ଆଗରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର୍ (ଏସ୍ଆର୍ସି) ପ୍ରଦୀପ କୁମାର ଜେନା ୧୪ ତାରିଖ ଯାଏ ଜିଲ୍ଲାପାଳମାନଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ବାସଙ୍କ ସୂଚନା ଅନୁଯାୟୀ, ଶୁକ୍ରବାର ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି। ୧୨ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ। ଉକ୍ତ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ୧୩ ତାରିଖରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ଏବଂ ଗଜପତି, ଗଞ୍ଜାମ, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବ। ୧୪ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।



Visitors Today : 0
Total Visitors : 130429
Total Views : 9891960
Visitors Online Now : 0