ଭୁବନେଶ୍ୱର : ଲଘୁଚାପ ଯୋଗୁଁ ୨୦ରୁ ୨୨ ତାରିଖ ପର୍ୟ୍ୟନ୍ତ ସାରାରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିଯୋଗୁଁ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିପାରେ। ତେଣୁ ଯେକୌଣସି ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ବାସ କହିଛନ୍ତି, ମୌସୁମୀ ଟ୍ରଫ୍ ଲାଇନ୍ ଏବେ ପଶ୍ଚିମବଙ୍ଗ ହୋଇ ନାଗାଲାଣ୍ଡ୍ ଆଡ଼କୁ ଗତି କରୁଛି। ଏଥିସହ ଆଉ ଏକ ଟ୍ରଫ୍ ଲାଇନ୍ ବିହାରରୁ ଆରମ୍ଭ କରି ଦକ୍ଷିଣ ଓଡ଼ିଶା ପର୍ୟ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତାକାଲି ଅପରାହ୍ନ ପର୍ୟ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ। ୨୦ ତାରିଖ ଦିନ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୦ରୁ ୨୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୦ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବାଲେଶ୍ବର ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏନେଇ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସେହିଦିନ ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, ଦେବଗଡ଼, ସମ୍ବଲପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୧ ତାରିଖ ଦିନ ବର୍ଷାର ପରିମାଣ ଆହୁରି ବଢ଼ିବ। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ସୋନପୁର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏହି ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସେହିଦିନ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୨ ତାରିଖ ଦିନ ବର୍ଷାର ପରିମାଣ କମିଯିବ। କେବଳ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ନବରଙ୍ଗପୁର ଆଦି ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ସମୟରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0