ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି।
ବୁଧବାର କୋଭିଡ ପରିଚାଳନା ଵିଷୟରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନରେଗା ସମେତ ଅନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକମାନେ ଅଧିକରୁ ଅଧିକ ରୋଜଗାର ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ । ସେହିପରି କୃଷି, ମତ୍ସ୍ୟଚାଷ, ଉଦ୍ୟାନ କୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ସେ ଘୋଷଣା କରିଥିବା ପ୍ୟାକେଜକୁ ଠିକ୍ ଭାବରେ କାର୍ଯ୍ୟ କରିବା ସର୍ବୋଚ୍ଚ ପ୍ରାଥମିକତା । ଏତଦ୍ବ୍ୟତୀତ ଚାଷୀ, ମିଶନ ଶକ୍ତିର ମା ମାନେ, MSME ଓ ବୁଣାକାରମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଭାରତର ପ୍ରଥମ ତୈମାସିକ ଆର୍ଥିକ ଅଭିବୃଦ୍ଧି ବିଯୁକ୍ତ ୨୩ ପ୍ରତିଶତ ଥିବାରୁ ଆମର ଲୋକମାନଙ୍କୁ ଏହାର କୁପ୍ରଭାବରୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ସ୍ବାସ୍ଥ୍ୟ ବିଭାଗର ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସମେତ ସମସ୍ତ କୋଭିଡ ଯୋଦ୍ଧାଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୧ଲକ୍ଷ ୨୫ ହଜାରରେ ପହଞ୍ଚିଥିବାରୁ ଏବଂ କେବଳ ଗତ ୫ ସପ୍ତାହ ମଧ୍ୟରେ ଏକ ଲକ୍ଷରୁ ଅଧିକ ରୋଗୀ ଆରୋଗ୍ୟ ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । କୋଭିଡ ଯୋଦ୍ଧା ତଥା ଡାକ୍ତର, ସ୍ବାସ୍ଥ୍ୟକମୀ ମାନଙ୍କୁ ସେମାନଙ୍କ କାମ ପାଇଁ ଅଭିନଦନ ଜଣାଇଥିଲେ।
ରାଜ୍ୟର ଅନ୍ୟ ଅଞ୍ଚଳମାନଙ୍କରେ କୋଭିଡ ନିୟମର କଡାକଡି ଅନୁପାଳନ ସନ୍ତୋଷଜନକ ଥିବାବେଳେ ଭୁବନେଶ୍ବର କଟକରେ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନାହିଁ । ଏହାକୁ ନେଇ ଭୁବନେଶ୍ବର କଟକ କମିଶନରେଟ ଅଞ୍ଚଳରେ କୋଭିଡ ନିୟମ କାର୍ଯ୍ୟକାରିତା ଉପରେ ପୋଲିସ ମହାନିର୍ଦ୍ଦେଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ପୋଲିସ ମହାନିର୍ଦ୍ଦେଶକ, ଭୁବନେଶ୍ବର-କଟକର ପୋଲିସ କମିଶନର କୋଭିଡ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ଏହି ବୈଠକରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମୋରାଲିଟି ରେଟ୍ କମ୍ ଥିବା ସୂଚନା ଦେଇଥିଲେ । ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ବୈଠକ ସଂଚାଳନା କରିଥିଲେ।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0