ଭୁବନେଶ୍ବର : କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବରେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି । ଏହାଦ୍ବାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଡିଓ କନଫରେନ୍ସିଂ ଜରିଆରେ କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ରାଜ୍ୟରେ ଗୋଟିଏ ଦିନରେ ୩୨ ହଜାର ଟେଷ୍ଟିଂ କରାଯାଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ।
ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବି.ଡି.ଓ. ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ରୋଗକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଏ ଦିଗରେ ଲୋକ ପ୍ରତିନିଧିମାନେ ଜନସାଧାରଣଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀମାନଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ଏବଂ ରୋଗୀମାନଙ୍କୁ ମେଡିସିନ୍ କିଟ୍ ଓ ଟେଲି ମେଡିସିନ ଯୋଗେ ଡକ୍ତରୀ ସୁବିଧା ଯୋଗାଇ ଦେବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା, ସୁନ୍ଦରଗଡ, କଟକ ଓ ଯାଜପୁର ଜିଲ୍ଲାଗୁଡିକ ଉପରେ ଅଧିକ ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0