ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ୫ ଦିନ ଧରି ଓଡ଼ିଶାରେ ବର୍ଷା ଲାଗି ରହିବ। ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଓଡ଼ିଶା ଉପକୂଳ ମୁହାଁ ହେବ। ଏହାର ପ୍ରଭାବରେ ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲା ଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାକି ଜିଲ୍ଲାଗୁଡିକରେ ଘଡଘଡ଼ି ସହ ବଜ୍ରପାତ ହୋଇପାରେ। ୨ ତାରିଖ ପର୍ୟ୍ୟନ୍ତ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀମାନେ ଏହି ସମୟ ମଧ୍ୟରେ ସମୁଦ୍ରକୁ ନ ଯିବାକୁ ଉଭୟ ପାଣିପାଗ ବିଭାଗ ଓ ଏସ୍ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ୩ ତାରିଖରେ ବର୍ଷା ପରିମାଣ ସାମାନ୍ୟ କମିବାକୁ ଥିବାବେଳେ ୪ ଓ ୫ ତାରିଖରେ ପୁଣି ବର୍ଷା ବଢ଼ିବ। କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବ। କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗୁଳ ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।



Visitors Today : 2
Total Visitors : 130425
Total Views : 9891956
Visitors Online Now : 0